ଭୁବନେଶ୍ୱର: ରାଜ୍ୟରେ ଆଜି ଜାରି ରହିବ କାଳବୈଶାଖୀର ପ୍ରଭାବ । ଆସନ୍ତା ୨୪ ଘଣ୍ଟା ମଧ୍ୟରେ ରାଜ୍ୟର ଆଭ୍ୟନ୍ତର, ପଶ୍ଚିମ, ଦକ୍ଷିଣ ଓ ଉପକୂଳର ୧୪ଟି ଜିଲ୍ଲାରେ କାଳବୈଶାଖୀ ଜନିତ ବର୍ଷା ଓ ଘୂର୍ଣ୍ଣିଝଡ଼ର ସମ୍ଭବାନା ରହିଛି ବୋଲି ଆଜି ଅପରାହ୍ନରେ ଭୁବନେଶ୍ୱରସ୍ଥିତ ଆଞ୍ଚଳିକ ପାଣିପାଗ ବିଜ୍ଞାନ କେନ୍ଦ୍ର ପକ୍ଷରୁ ଜାରି ଏକ ସତର୍କ ସୂଚନାରେ କୁହାଯାଇଛି।ଜାରି ସତର୍କ ସୂଚନା ମତାବକ ଆଜି ଅପରାହ୍ନ ୧ଟା ୩୦ଘଣ୍ଟା ମଧ୍ୟରୁ ଆସନ୍ତାକାଲି ସକାଳ ୮ଟା୩୦ ଘଣ୍ଟା ମଧ୍ୟରେ କୋରାପୁଟ, ମାଲକାନଗିରି, ନବରଙ୍ଗପୁର, କଳାହାଣ୍ଡି, ନୂଆପଡା, ବଲାଙ୍ଗୀର, କନ୍ଧମାଳ, ରାୟଗଡା ଓ ଗଜପତି ପ୍ରଭୃତି ୯ଟି ଜିଲ୍ଲାର ଗୋଟିଏ କିମ୍ବା ଦୁଇଟି ସ୍ଥାନରେ ବଜ୍ରପାତ ଏବଂ କୁଆପଥର ବର୍ଷା ସହିତ ବିଜୁଳି ଓ ଘଡ଼ଘଡ଼ି ସହ ପବନର ବେଗ ୩୦-୪୦ କିଲୋମିଟର ରହି କାଳବୈଶାଖୀ ଜନିତ ଘୂର୍ଣ୍ଣିଝଡ଼ର ସମ୍ଭାବନା ରହିଛି। ଏହାକୁ ଦୃଷ୍ଟିରେ ରଖି ଏହି ୯ ଜିଲ୍ଲାକୁ ହଳଦିଆ ଚେତାବନୀ ବା ୟେଲୋ ଓ୍ଵାର୍ଣ୍ଣିଂ ଜାରି କରିବା ସହ କାଳବୈଶାଖୀ ଓ ବଜ୍ରପାତ ସମୟରେ ଘର ଭିତରୁ ପଦାକୁ ନ ବାହାରିବା ପାଇଁ ପରାମର୍ଶ ଦେଇଛି ପାଣିପାଗ ବିଭାଗ।