ପୁଲୱାମା ଆକ୍ରମଣକୁ ଆଜିକୁ ପୂରିଲା ୨ ବର୍ଷ । ୨ ବର୍ଷ ପୁର୍ବେ ୪୦ ଜଣ ବୀର ପୁତ୍ରଙ୍କୁ ହରାଇଥିଲା ଦେଶ । ଇତି ମଧ୍ୟରେ ୨ ବର୍ଷ ବିତିଯାଇଛି, ହେଲେ ଆକ୍ରମଣରେ ଦେଶ ପାଇଁ ଜୀବନ ଦେଇଥିବା ସହିଦଙ୍କୁ ଆଜି ବି ଝୁରୁଛି ମାତୃଭୂମି । ଦେଶ ପାଇଁ ହସି ହସି ପ୍ରାଣବଳୀ ଦେଇଥିବା ସହିଦଙ୍କୁ ମନେ ପକାଇ ଗୁମୁରି କାନ୍ଦୁଛି ମା’ ମାଟି । ସେଦିନ ଥିଲା ଫେବୃୟାରୀ ୧୪ ତାରିଖ । ରାଜପଥ ଉପରେ ଲମ୍ବା ଲାଇନ୍ ହୋଇ ଆଗକୁ ବଢ଼ୁଥିଲା ସିଆର୍ପିଏଫ୍ ଯବାନଙ୍କ କାଫିଲା । ୭୮ଟି ବସରେ ଟ୍ରାଂଜିଟ୍ କ୍ୟାମ୍ପରୁ ଫେରୁଥିଲେ ପ୍ରାୟ ଅଢ଼େଇ ହଜାର ଯବାନ । ହେଲେ ହଠାତ୍ ଖୁବ୍ ଜୋରରେ ଶୁଭିଲା ଏକ ବିସ୍ଫୋରଣର ଶବ୍ଦ । ଆଉ ଆଖି ଖୋଲି ଚାହିଁଲା ବେଳକୁ ସବୁ ଖିନଭିନ୍ ହୋଇସାରିଥିଲା । ବିସ୍ଫୋରଣ ଏତେ ଜୋରରେ ହୋଇଥିଲା ଯେ, ଆଖପାଖ ୧୦ରୁ ୧୨ କିଲୋମିଟର ଯାଏଁ ସାରା ଅଂଚଳ ଏକ ପ୍ରକାର ଦୋହଲି ଯାଇଥିଲା । ବିସ୍ଫୋରଣ ଶବ୍ଦ ନିରବୀ ଗଲା ପରେ ଯାହା ସାମ୍ନାକୁ ଆସିଲା, ସେହି ଭଳି ଘଟଣା, ଭାରତ ଇତିହାସରେ ହୁଏତ ପୂର୍ବରୁ କେବେ ଘଟିନଥିଲା ।ଆତଙ୍କବାଦୀ ଆଦିଲ୍ ଅହମ୍ମଦର ଆତ୍ମଘାତୀ ବିସ୍ଫୋରଣରେ ଘଟଣାସ୍ଥଳରେ ହିଁ ଟଳିପଡିଲେ ସିଆର୍ପିଏଫର ଅନେକ ଯବାନ । ବିସ୍ଫୋରଣ ଏତେ ଭୟଙ୍କର ଥିଲା ଯେ ଖଣ୍ଡ ଖଣ୍ଡ ହୋଇ ଯାଇଥିଲା ଯବାନଙ୍କ ଶରୀର । ରକ୍ତରେ ଭିଜିଯାଇଥିଲା ରାଜରାସ୍ତା । ଏହି ଘଟଣାରେ ପୁରା ଦେଶ ସ୍ତମ୍ଭୀଭୂତ ହୋଇଯାଇଥିଲା । ଚାରିଆଡ଼େ ଖେଳି ଯାଇଥିଲା ଅବ୍ୟକ୍ତ ନୀରବତା । ଶୋକରେ ବୁଡ଼ିଯାଇଥିଲା ପୁରା ଦେଶ ।