<h3>ପୁରୀ,୨୫/୦୪/୨୪: ଆସନ୍ତା ମେ ୧୦ ତାରିଖରେ ପବିତ୍ର ଅକ୍ଷୟ ତୃତୀୟା। ଏହି ଦିନ ମହାପ୍ରଭୁଙ୍କ ବିଶ୍ବପ୍ରସିଦ୍ଧ ରଥଯାତ୍ରା ପାଇଁ ରଥ ନିର୍ମାଣ ଅନୁକୂଳ ସହ ୨୧ ଦିନ ବ୍ୟାପି ବାହାର ଚନ୍ଦନ ଯାତ୍ରା ଆରମ୍ଭ ହେବ।.. ନୀଳାଦ୍ରି ଭକ୍ତ ନିବାସରେ ଶ୍ରୀମନ୍ଦିର ମୁଖ୍ୟ ପ୍ରଶାସକ ବୀର ବିକ୍ରମ ଯାଦବଙ୍କ ଅଧ୍ୟକ୍ଷତାରେ ଅନୁଷ୍ଠିତ ଛତିଶା ନିଯୋଗ ବୈଠକରେ ଅକ୍ଷୟ ତୃତୀୟ ପାଇଁ ନୀତି ନିର୍ଘଣ୍ଟ ଚୂଡ଼ାନ୍ତ ହୋଇଛି। ସେହିପରି ଭକ୍ତମାନେ କିଭଳି ସୁନ୍ଦର ଭାବେ ଦର୍ଶନ କରିପାରିବେ ସେ ନେଇ ମଧ୍ୟ ବୈଠକରେ ଆଲୋଚନା କରାଯାଇଛି। ନୀତି ନିର୍ଘଣ୍ଟ ଅନୁଯାୟୀ ଅକ୍ଷୟ ତୃତୀୟା ଦିନ ଅପରାହ୍ନ ୩ଟା ରେ ଦ୍ଵାଦଶ ଯାତ୍ରା ଓ ନକ୍ଷତ୍ର ବନ୍ଦାପନା, ଅପରାହ୍ନ ୩.୩୦ ରେ ବିମାନକୁ ଦିଅଁ ବିଜେ, ଅପରାହ୍ନ ୪ଟା ରେ ରଥ ଆଜ୍ଞାମାଳ ବିଜେ ଓ ବିମାନ ଉଠିବ। ରାତ୍ର ୧୦ଟା ରେ ଚନ୍ଦନ ଠାକୁର ବାହୁଡ଼ା ବିଜେ କରିବା ନେଇ ନୀତି ନିର୍ଘଣ୍ଟ ଚୁଡାନ୍ତ ହୋଇଛି। ତେବେ ସମସ୍ତ ନୀତି କାନ୍ତି ଯେଭଳି ଶୃଙ୍ଖଳିତ ଭାବେ ସମ୍ପାଦନା ହୋଇପାରିବ ସେନେଇ ସମସ୍ତ ସେବାୟତ ନିଯୋଗଙ୍କ ସହଯୋଗ ଲୋଡିଥିଲେ ମୁଖ୍ୟ ପ୍ରଶାସକ। ନିଳାଦ୍ରୀ ଭକ୍ତ ନିବାସରେ ଅନୁଷ୍ଠିତ ହୋଇଥିବା ଏହି ବୈଠକରେ ପୁରୀ ଜିଲ୍ଲାପାଳ ସିଦ୍ଧାର୍ଥ ଶଙ୍କର ସ୍ବାଇଁ, ଏସପି ପିନାକ ମିଶ୍ର, ପରିଚାଳନା କମିଟି ସଦସ୍ୟ, ଛତିଶା ନିଯୋଗ ସେବାୟତ ସଦସ୍ୟଙ୍କ ସହ ଅନ୍ୟାନ୍ୟ ବରିଷ୍ଠ ପ୍ରଶାସନିକ ଅଧିକାରୀ ମାନେ ଉପସ୍ଥିତ ଥିଲେ।</h3>