ଦୁର୍ନୀତିଗ୍ରସ୍ତ ଓ ଅପରାଗଙ୍କ ବିରୋଧରେ କଡା ଆଭିମୁଖ୍ୟ ଜାରି କରିଛନ୍ତି ମୁଖ୍ୟମନ୍ତ୍ରୀ | ପୁଣି ୫ ଜଣ ଅଧିକାରୀଙ୍କୁ ଦିଆଯାଇଛି ବାଧ୍ୟତାମୂଳକ ଅବସର । ସେମାନଙ୍କ ମଧ୍ୟରେ ଅଛନ୍ତି ପୋଲିସ ଡି.ଏସ୍.ପି, ଓଏଏସ୍ ଅଫିସର, ପୋଲିସ ଇନ୍ସପେକ୍ଟର ଓ ୨ ଜଣ ମ୍ୟୁନିସିପାଲଟି ଏକ୍ଜିକ୍ୟୁଟିଭ ଅଫିସର । ଏହାକୁ ମିଶାଇ ବର୍ତ୍ତମାନ ସୁଦ୍ଧା ୧୫୧ ଜଣ ଅଧିକାରୀଙ୍କ ବିରୋଧରେ ନିଆଯାଇଛି କାର୍ଯ୍ୟାନୁଷ୍ଠାନ |
ଏହି ୫ ଜଣଙ୍କ ମଧ୍ୟରୁ କଳାହାଣ୍ଡି ଜିଲ୍ଲା ମହିଳା ବିରୋଧୀ ଅପରାଧ ତଦନ୍ତ କେନ୍ଦ୍ରରେ (IUCAW) ଡି.ଏସ୍.ପି ଭାବରେ ନିଯୁକ୍ତ ଓଡିଶା ପୋଲିସ ସେବା ଅଧିକାରୀ ରବିନ୍ଦ୍ର କୁମାର ସେଠୀଙ୍କ ବିରୁଦ୍ଧରେ ଗୋଟିଏ ଦୁର୍ନୀତି ଅଭିଯୋଗ ରହିଥିଲା। ଦୁର୍ନୀତି ଓ ଅସାଧୁତା ଯୋଗୁ ତାଙ୍କୁ ବାଧ୍ୟତାମୂଳକ ଅବସର ଦିଆଯାଇଛି । ସେହିଭଳି ସୁନ୍ଦରଗଡ ଜିଲ୍ଲା ବଣାଇର ପୂର୍ବତନ ତହସିଲଦାର ଓଏଏସ୍ ଅଧିକାରୀ ସୁଶୀଲ କୁମାର କୁଜୁରଙ୍କ ନାମରେ ଗୋଟିଏ ଦୁର୍ନୀତି ଅଭିଯୋଗ ଅଛି। ଢେଙ୍କାନାଳ ସଦର ବ୍ଲକ୍ରେ ବିଡିଓ ଥିବାବେଳେ ସେ ମନରେଗା ପାଣ୍ଠି ଆତ୍ମସାତ କରିଥିଲେ । ଏବେ ତାଙ୍କୁ ବାଧ୍ୟତାମୂଳକ ଅବସର ଦିଆଯାଇଛି । ବଲାଙ୍ଗୀର ଜିଲ୍ଲା ବଙ୍ଗମୁଣ୍ଡାର ପୋଲିସ ଇନ୍ସପେକ୍ଟର ବିନୋଦ ବିହାରୀ ନାୟକଙ୍କୁ ଦିଆଯାଇଛି ବାଧ୍ୟତାମୂଳକ ଅବସର । ସେହିପରି ଭଦ୍ରକ ଜିଲ୍ଲା ବାସୁଦେବପୁର ମ୍ୟୁନିସପାଲଟିର ପୂର୍ବତନ ଏକଜିକ୍ୟୁଟିଭ ଅଫିସର ତାପସ ରଞ୍ଜନ ଜେନା ଓ ମୟୁରଭଞ୍ଜ ଜିଲ୍ଲା କରଞ୍ଜିଆ ଏନଏସିର ପୂର୍ବତନ ଏକଜିକ୍ୟୁଟିଭ ଅଫିସର ବିଜୟକୃଷ୍ଣ ନାୟକଙ୍କୁ ତାଙ୍କର ପୌରସେବା କାର୍ଯ୍ୟକାଳ ସମୟରେ ଅପାରଗତା, ଦାୟିତ୍ବରେ ଅବହେଳା କାରଣରୁ ବାଧ୍ୟତାମୂଳକ ଅବସର ଦିଆଯାଇଛି ।