ସକାଳ ୯ଟା ୫୦ରେ ଶପଥ ଉତ୍ସବ ଅନୁଷ୍ଠିତ ହେବ । ନୂଆ ମନ୍ତ୍ରୀଙ୍କ ଶପଥ ଗ୍ରହଣ ସମାରୋହ। ଲୋକସେବା ଭବନ ସମ୍ମିଳନୀ କକ୍ଷରେ ନୂଆ ମନ୍ତ୍ରୀମାନେ ନେବେ ଶପଥ। ଏନେଇ ମୁଖ୍ୟ ଶାସନ ସଚିବଙ୍କ ପକ୍ଷରୁ ସୂଚନା ଜାରି କରାଯାଇଛି।
ନୂଆ ମନ୍ତ୍ରୀଙ୍କ ଶପଥ ଗ୍ରହଣ ଉତ୍ସବର ସମୟ ସମ୍ପର୍କରେ ଘୋଷଣା ହୋଇଥିଲେ ବି କେଉଁମାନେ ମନ୍ତ୍ରୀ ହେବେ, ସେ ନେଇ ଲାଗି ରହିଥିବା ସସପେନ୍ସ ଉପରକୁ ପରଦା ଉଠିନାହିଁ। ନବ ଦାସଙ୍କ ହତ୍ୟା ଯୋଗୁ ଗୋଟିଏ ମନ୍ତ୍ରୀପଦ ଖାଲି ପଡ଼ିଥିବାବେଳେ ଅନ୍ୟ ୨ଜଣ ମନ୍ତ୍ରୀ ସମୀର ରଞ୍ଜନ ଦାଶ ଓ ଶ୍ରୀକାନ୍ତ ସାହୁଙ୍କ ଇସ୍ତଫା ଯୋଗୁ ମୋଟ ୩ଟି ମନ୍ତ୍ରୀ ପଦ ଖାଲି ପଡ଼ିଛି । ଅନ୍ୟ ଜଣେ ମନ୍ତ୍ରୀଙ୍କୁ ଇସ୍ତଫା ଦେବାକୁ କୁହାଯାଇପାରେ ବୋଲି ଜଣାପଡ଼ିଛି । ରାଜନୀତିକ ସମୀକରଣକୁ ଦୃଷ୍ଟିରେ ରଖି ଶ୍ରୀକାନ୍ତ ସାହୁଙ୍କ ସ୍ଥାନରେ ବିକ୍ରମ କେଶରୀ ଆରୁଖଙ୍କୁ ମନ୍ତ୍ରିମଣ୍ଡଳରେ ନିଆଯିବାର ଯଥେଷ୍ଟ ସମ୍ଭାବନା ଥିବାବେଳେ ଜଗତସିଂହପୁର ବିଧାୟକ ପ୍ରଶାନ୍ତ ମୁଦୁଲି, ରାଉରକେଲା ବିଧାୟକ ସାରଦା ନାୟକ, ସତ୍ୟବାଦୀ ବିଧାୟକ ଉମାକାନ୍ତ ସାମନ୍ତରାୟ, ଅତାବିରା ବିଧାୟିକା ସ୍ନେହାଙ୍ଗିନୀ ଛୁରିଆଙ୍କୁ ମନ୍ତ୍ରିମଣ୍ଡଳରେ ସାମିଲ କରାଯିବାର ସମ୍ଭାବନା ରହିଛି । ସେହିପରି ଦିବଂଗତ ମନ୍ତ୍ରୀ ନବ ଦାସଙ୍କ ଝିଅ ତଥା ଝାରସୁଗୁଡ଼ା ନବନିର୍ବାଚିତ ବିଧାୟିକା ଦୀପାଳି ଦାସଙ୍କ ନାଁ ବି ମନ୍ତ୍ରୀ ପଦ ପାଇଁ ଚର୍ଚ୍ଚାରେ ରହିଛି ।