ଆଜି ମହାମହିମ ରାଷ୍ଟ୍ରପତି ଦ୍ରୌପଦୀ ମୁର୍ମୁଙ୍କ ଜନ୍ମଦିନ । ଜୁନ ୨୦ ତାରିଖ ୧୯୫୮ ମସିହାରେ ମୟୁରଭଞ୍ଜ ଜିଲ୍ଲା ରାଇରଙ୍ଗପୁରର ଉପରବେଡାର ଏକ ସାଧାରଣ ସାନ୍ତାଳୀ ଘରେ ଦ୍ରୌପଦୀ ମୁର୍ମୁଙ୍କ ଜନ୍ମ । ଭାରତର ରାଷ୍ଟ୍ରପତି ହେବାରେ ସେ ପ୍ରଥମ ଆଦିବାସୀ । ତାଙ୍କ ମୂଳ ନାମ ପୁତି ଟୁଡୁ ଥିଲା । ତାଙ୍କୁ ତାଙ୍କ ସ୍କୁଲରେ ଶିକ୍ଷକ ଦ୍ରୌପଦୀ ନାମ ଦେଇଥିଲେ । ପିତାଙ୍କ ନାମ ଥିଲା ବିରଞ୍ଜି ନାରାୟଣ ଟୁଡୁ । ରାଷ୍ଟ୍ରପତି ଦ୍ରୌପଦୀ ମୁର୍ମୁ ଉବରବଡ଼ୋ ପ୍ରାଥମିକ ବିଦ୍ୟାଳୟରୁ ସପ୍ତମ ଶ୍ରେଣୀ ପର୍ୟ୍ୟନ୍ତ ପାଠ ପଢ଼ିଥିଲେ । ଏହାପରେ ଅଧିକ ଅଧ୍ୟୟନ ପାଇଁ ଭୁବନେଶ୍ବର ଆସି ୟୁନିଟ୍-୨ ବାଳିକା ଉଚ୍ଚ ବିଦ୍ୟାଳୟରୁ ମାଟ୍ରିକ ପାସ କରିଥିଲେ ଓ ରମାଦେବୀ ମହିଳା ମହାବିଦ୍ୟାଳୟରେ କଳାରେ ସ୍ନାତକ ପର୍ୟ୍ୟନ୍ତ ଶିକ୍ଷାଗ୍ରହଣ କରିଥିଲେ । ଦ୍ରୌପଦୀ ମୁର୍ମୁ, ଶ୍ୟାମ ଚରଣ ମୁର୍ମୁଙ୍କୁ ବିବାହ କରିଥିଲେ । ରାଷ୍ଟ୍ରପତି ଦ୍ରୌପଦୀ ମୁର୍ମୁଙ୍କ ଜନ୍ମ ଦିବସ ଅବସରରେ ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ ଅଭିନନ୍ଦନ ଓ ଶୁଭେଚ୍ଛା ଜଣାଇଛନ୍ତି। ମୁଖ୍ୟମନ୍ତ୍ରୀ କହିଛନ୍ତି, ଦେଶର ସର୍ବୋଚ୍ଚ ପଦବୀ ଅଳଙ୍କୃତ କରି ମାନ୍ୟବର ରାଷ୍ଟ୍ରପତି ଶ୍ରୀମତୀ ମୁର୍ମୁ ସେବା ଓ ସମର୍ପଣ ଭାବରେ ଦେଶକୁ ପ୍ରେରଣା ଦେଇ ଚାଲିଛନ୍ତି।