ଭୁବନେଶ୍ୱର: ରାଜ୍ୟରେ କରୋନା ସ୍ଥିତିକୁ ଦୃଷ୍ଟିରେ ରଖି ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ଯୁକ୍ତ ଦୁଇ ପରୀକ୍ଷାକୁ ବାତିଲ୍ ଘୋଷଣା କରିଛନ୍ତି ।ସାରା ଦେଶରେ କୋଭିଡ ମହାମାରୀର ଦ୍ବାତୀୟ ଲହର ବର୍ତ୍ତମାନ ଏକ ଅଭାବନୀୟ ପରିସ୍ଥିତି ସୃଷ୍ଟି କରିଛି । ଏଥିରେ ସବୁଠାରୁ ଅଧିକ ପ୍ରଭାବିତ ହୋଇଛି ପିଲାମାନଙ୍କ ପାଠପଢା ଓ ଲୋକମାନଙ୍କର ଜୀବନଜୀବିକା । କିନ୍ତୁ ଏସବୁ ଠାରୁ ଉର୍ଦ୍ଧ୍ବରେ ରହିଛି ମଣିଷ ଜୀବନର ସୁରକ୍ଷା । ଏହି ପରିପ୍ରେକ୍ଷୀରେ ଛାତ୍ରଛାତ୍ରୀ, ଶିକ୍ଷକ ଓ ଅଭିଭାବକ ସମସ୍ତଙ୍କ ସ୍ବାସ୍ଥ୍ୟ ସୁରକ୍ଷାକୁ ଦୃଷ୍ଟିରେ ରଖି ଉଚ୍ଚ ମାଧ୍ୟମିକ ଶିକ୍ଷା ପରିଷଦ ଦ୍ବାରା ପରିଚାଳିତ ଚଳିତ ବର୍ଷର ବାର୍ଷିକ ଦ୍ବାଦଶ ଶ୍ରେଣୀ ପରୀକ୍ଷାକୁ ବାତିଲ କରାଗଲା ବୋଲି ମୁଖ୍ୟମନ୍ତ୍ରୀ ଶ୍ରୀ ନବୀନ ପଟ୍ଟନାୟକ ଘୋଷଣା କରିଛନ୍ତି । ମୁଖ୍ୟମନ୍ତ୍ରୀ କହିଛନ୍ତି ଯେ ଜୀବନ ଆଗ, ଆଉସବୁ ପଛ । ଜୀବନ ସୁରକ୍ଷିତ ରହିଲେ ଆଗକୁ ଅନନ୍ତ ସମ୍ଭାବନା ରହିବ ଏବଂ ସମାଜ ଓ ସଭ୍ୟତା ଆଗକୁ ବଢିବ ।