ସ୍ମାର୍ଟ ତାଲିକାରେ ସାମିଲ ହେଲା ବରଗଡ଼। ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ଆଜି ବରଗଡ ଜିଲ୍ଲାରେ ବିଜୁ ସ୍ବାସ୍ଥ୍ୟ କଲ୍ୟାଣ ଯୋଜନା ଅଧୀନରେ ସ୍ମାର୍ଟ ହେଲ୍ଥ କାର୍ଡ ବଣ୍ଟନର ଶୁଭାରମ୍ଭ କରିଛନ୍ତି। ଜିଲ୍ଲାର ପ୍ରାୟ ୩.୬୪ ଲକ୍ଷ ଲୋକ ଏହି ସୁବିଧା ପାଇବେ । ବରଗଡ ସହିତ ରାଜ୍ୟର ୧୧ଟି ଜିଲ୍ଲା ଏହି କାର୍ଯ୍ୟକ୍ରମରେ ସାମିଲ ହେଲା । ଏହି ଅବସରରେ ୫-ଟି ରୂପାନ୍ତର କାର୍ଯ୍ୟକ୍ରମରେ ବିଜେପୁରର ୭୧ଟି ରୂପାନ୍ତରିତ ସ୍କୁଲକୁ ମୁଖ୍ୟମନ୍ତ୍ରୀ ଲୋକାର୍ପିତ କରିଥିଲେ । ବରଗଡରେ ପ୍ରାୟ ୩୦୦ କୋଟି ଟଙ୍କାର ବିଭିନ୍ନ ପ୍ରକଳ୍ପର ଶୁଭାରମ୍ଭ କରିଛନ୍ତି ମୁଖ୍ୟମନ୍ତ୍ରୀ। ସେହିପରି ଜିଲ୍ଲାରେ ୨୫୦୦ କୋଟି ଟଙ୍କାର ବିଭିନ୍ନ ପ୍ରକଳ୍ପ କାମ ଜାରି ରହିଛି ବୋଲି ସେ କହିଥିଲେ । ଏଥିରେ ରହିଛି – ୨୦୯୦ କୋଟି ଟଙ୍କାର ଗୁରୁତ୍ବପୂର୍ଣ୍ଣ ଗଙ୍ଗାଧର ମେହେର ଉଠା ଜଳସେଚନ ପ୍ରକଳ୍ପ । ଏହି ପ୍ରକଳ୍ପ ୨୦୨୩ ସେପ୍ଟେମ୍ବର ସୁଦ୍ଧା ସଂପୂର୍ଣ୍ଣ ହେବ ଏବଂ ଚାଷୀମାନେ ଏଥିରୁ ପାଣି ପାଇପାରିବେ ବୋଲି ମୁଖ୍ୟମନ୍ତ୍ରୀ କହିଥିଲେ ।
ଏହି ଅବସରରେ ଉଦ୍ବୋଧନ ଦେଇ ମୁଖ୍ୟମନ୍ତ୍ରୀ କହିଲେ ଯେ ବରଗଡ ହେଉଛି ଓଡିଶାର ଭାତ ହାଣ୍ଡି । ବରଗଡର ବୁଣାକାମାନଙ୍କୁ ମଧ୍ୟ ମୁଖ୍ୟମନ୍ତ୍ରୀ ପ୍ରଶଂସା କରି କହିଲେ ଯେ ଚାଷୀଙ୍କ ପରି ବରଗଡର ବୁଣାକାର ମଧ୍ୟ ସାରା ବିଶ୍ବକୁ ସମ୍ବଲପୁରୀ ଶାଢୀ ଉପହାର ଦେଇଛନ୍ତି । ବରଗଡର ଚାଷୀ ଓ ବୁଣାକାରମାନଙ୍କ ଦକ୍ଷତାକୁ ମୋର ପ୍ରଣାମ ବୋଲି ସେ କହିଥିଲେ । ମୁଖ୍ୟମନ୍ତ୍ରୀ କହିଲେ ଯେ, ସ୍ମାର୍ଟ ହେଲ୍ଥ କାର୍ଡ ଦ୍ବାରା ରାଜ୍ୟର ୯୬ ଲକ୍ଷ ପରିବାରର ସାଢେ ତିନି କୋଟି ଲୋକ ଉପକୃତ ହେବେ । ଏହାଦ୍ବାରା ଆମର ଗରିବ ଲୋକମାନେ ସ୍ବାସ୍ଥ୍ୟ ସେବା ପାଇଁ ଅନେକ ସମସ୍ୟାରୁ, ବିଶେଷକରି ଆର୍ଥିକ ସମସ୍ୟାରୁ ମୁକ୍ତ ହୋଇପାରିବେ । ଏହି କାର୍ଯ୍ୟକ୍ରମରେ ସ୍ବାସ୍ଥ୍ୟ ମନ୍ତ୍ରୀ ନବ ଦାସ, ଏମ୍ ପି.ଶ୍ରୀ ପ୍ରସନ୍ନ ଆଚାର୍ଯ୍ୟ, ବିଧାୟିକା ରୀତା ସାହୁ, ସ୍ନେହାଙ୍ଗୀନୀ ଛୁରିଆ ପ୍ରମୁଖ ଉଦ୍ ବୋଧନ ଦେଇ ବିଭିନ୍ନ କ୍ଷେତ୍ରରେ ବିଜେପୁରର ବିକାଶ ଉପରେ ଆଲୋକପାତ କରିଥିଲେ। ଏହି ଯୋଜନା ଗରିବ ଲୋକଙ୍କର, ବିଶେଷ କରି ମହିଳା ମାନଙ୍କର ଏକ ବଡ ଚିନ୍ତା ଦୂର କରିପାରିଛି ବୋଲି ସେମାନେ ମତବ୍ୟକ୍ତ କରିଥିଲେ ।