ସ୍ମାର୍ଟ ତାଲିକାରେ ସାମିଲ ହେଲା ଝାରସୁଗୁଡା । ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ଆଜି ଝାରସୁଗୁଡା ଜିଲ୍ଲାରେ ବିଜୁ ସ୍ବାସ୍ଥ୍ୟ କଲ୍ୟାଣ ଯୋଜନା ଅଧୀନରେ ସ୍ମାର୍ଟ ହେଲ୍ଥ କାର୍ଡ ବଣ୍ଟନର ଶୁଭାରମ୍ଭ କରିଛନ୍ତି। ଜିଲ୍ଲାର ପ୍ରାୟ ୧.୧୫ ଲକ୍ଷ ଲୋକ ଏହି ସୁବିଧା ପାଇବେ । ଝାରସୁଗୁଡା ସହିତ ରାଜ୍ୟର ୧୨ଟି ଜିଲ୍ଲା ଏହି କାର୍ଯ୍ୟକ୍ରମରେ ସାମିଲ ହେଲା ।
ଏହି ଅବସରରେ ମୁଖ୍ୟମନ୍ତ୍ରୀ ହୀରାକୁଦ ନଦୀ ବନ୍ଧ ପ୍ରକଳ୍ପ ଦ୍ବାରା ଝାରସୁଗୁଡାର ୨୦୦୦ ବିସ୍ଥାପିତ ପରିବାରକୁ ଘରଡିହ ଯୋଗାଇ ଦିଆଯିବ ବୋଲି ଘୋଷଣା କରିଛନ୍ତି। ଏହାଦ୍ବାରା ବିସ୍ଥାପିତଙ୍କର ଦୀର୍ଘ ଦିନର ସମସ୍ୟା ଦୂର ହେବ । ଆଜି ମୁଖ୍ୟମନ୍ତ୍ରୀ ଝାରସୁଗୁଡାର ୨୯୭ କୋଟି ଟଙ୍କାର ବିଭିନ୍ନ ପ୍ରକଳ୍ପର ଶୁଭାରମ୍ଭ କରିଛନ୍ତି । ଏଥିରେ ୧୪୪ କୋଟି ଟଙ୍କାର ବିଭିନ୍ନ ପ୍ରକଳ୍ପ ଉଦ୍ଘାଟିତ ହୋଇଥିବା ବେଳେ ୧୫୩ କୋଟି ଟଙ୍କାର କାମ ପାଇଁ ଭିତ୍ତିପ୍ରସ୍ତର ରଖାଯାଇଥିଲା । ଝାରସୁଗୁଡା ଓ ବ୍ରଜରାଜନଗର ପାଇଁ ଦୁଇଟି ୱାଟର ଟ୍ରିଟମେଣ୍ଟ ପ୍ଲାଣ୍ଟ ର ଉଦ୍ଘାଟନ କରି ମୁଖ୍ୟମନ୍ତ୍ରୀ କହିଥିଲେ ଯେ ଏହାଦ୍ବାରା ଏହି ଦୁଇଟି ସହରର ଲୋକମାନେ ଭଲ ପିଇବା ପାଣି ପାଇପାରିବେ। ଝାରସୁଗୁଡା ଜିଲ୍ଲାର ସବୁ ଗାଁ ଓ ସବୁ ସହରକୁ ଭଲ ପିଇବା ପାଣି ଯୋଗାଇ ଦେବାପାଇଁ ୬୧୮ କୋଟି ଟଙ୍କାର ପାନୀୟ ଜଳ ପ୍ରକଳ୍ପ କାର୍ଯ୍ୟକାରୀ ହେଉଛି । ୨୦୨୨ ଜୁନ୍ ସୁଦ୍ଧା ଜିଲ୍ଲାର ୧ ଲକ୍ଷ ୨୨ ହଜାର ପରିବାରକୁ ପାଇପ ପାଣି ଯୋଗାଇ ଦିଆଯିବ ବୋଲି ମୁଖ୍ୟମନ୍ତ୍ରୀ କହିଥିଲେ।
ଜିଲ୍ଲାରେ ଜଳସେଚନ ପ୍ରକଳ୍ପ ଉପରେ ଆଲୋକପାତ କରି ମୁଖ୍ୟମନ୍ତ୍ରୀ କହିଥିଲେ ଯେ ପାର୍ବତୀଗିରି ମେଗା ଲିଫ୍ଟ ଜଳସେଚନ ପ୍ରକଳ୍ପରେ ଏକ ହଜାର ହେକ୍ଟର ଚାଷ ଜମିକୁ ଜଳସେଚନର ସୁବିଧା ଦିଆଯାଇଛି । ଏହାସହିତ ଜିଲ୍ଲାରେ ୧୮୬ କୋଟି ଟଙ୍କାର ୪ଟି ମେଗା ଲିଫ୍ଟ ଜଳସେଚନ କାମ ଚାଲିଛି ଏବଂ ଜିଲ୍ଲାର ସବୁ ଅଞ୍ଚଳକୁ ଜଳସେଚନ ର ସୁବିଧା ଯୋଗାଇ ଦେବାର ଲକ୍ଷ୍ୟ ଖୁବ ଶୀଘ୍ର ପୂରଣ ହେବ ବୋଲି ମୁଖ୍ୟମନ୍ତ୍ରୀ କହିଥିଲେ । ଝାରସୁଗୁଡାରେ ନିର୍ମାଣଧୀନ ୧୦୦ ଶଯ୍ୟା ବିଶିଷ୍ଟ ହୃଦରୋଗ ଚିକିତ୍ସାଳୟର ନିର୍ମାଣ ଖୁବ ଶୀଘ୍ର ଶେଷ ହେବାକୁ ଯାଉଛି ବୋଲି ମୁଖ୍ୟମନ୍ତ୍ରୀ ସୂଚନା ଦେଇଥିଲେ । ଏହାଦ୍ବାରା ଲୋକମାନଙ୍କୁ ଉନ୍ନତମାନର ଚିକିତ୍ସା ମିଳିପାରିବ ବୋଲି ସେ କହିଥିଲେ । ଏଥିପାଇଁ ୧୦୨ କୋଟି ଟଙ୍କା ଖର୍ଚ୍ଚ କରାଯାଇଛି । ବିଜୁ ସ୍ବାସ୍ଥ୍ୟ କଲ୍ୟାଣ ଯୋଜନାରେ ଜିଲ୍ଲାର ୧ ଲକ୍ଷ ୧୫ ହଜାର ଲୋକ ସ୍ମାର୍ଟ ହେଲ୍ଥ କାର୍ଡ ପାଇବେ ବୋଲି ପ୍ରକାଶ କରି ମୁଖ୍ୟମନ୍ତ୍ରୀ ଏଥିପାଇଁ ଖୁସିବ୍ୟକ୍ତ କରିଥିଲେ । ମୁଖ୍ୟମନ୍ତ୍ରୀ କହିଲେ ଯେ ସ୍ମାର୍ଟ ହେଲ୍ଥ କାର୍ଡ ଦ୍ବାରା ରାଜ୍ୟର ୯୬ ଲକ୍ଷ ପରିବାରର ସାଢେ ତିନି କୋଟି ଲୋକ ଉପକୃତ ହେବେ । ଏହାଦ୍ବାରା ଆମର ଗରିବ ଲୋକମାନେ ସ୍ବାସ୍ଥ୍ୟ ସେବା ପାଇଁ ଅନେକ ସମସ୍ୟାରୁ, ବିଶେଷକରି ଆର୍ଥିକ ସମସ୍ୟାରୁ ମୁକ୍ତ ହୋଇପାରିବେ ।
ପ୍ରାରମ୍ଭରେ ମୁଖ୍ୟମନ୍ତ୍ରୀ ମହାନ୍ ସଂଗ୍ରାମୀ ବୀର ସୁରେନ୍ଦ୍ର ସାଏଙ୍କୁ ଶ୍ରଦ୍ଧାଞ୍ଜଳି ଅର୍ପଣ କରି କହିଥିଲେ ଯେ ତାଙ୍କର ଆଦର୍ଶ, ସଂଗ୍ରାମ ଓ ଦେଶପ୍ରେମ ଯୁଗ ଯୁଗ ଧରି ଆମକୁ ପ୍ରେରଣା ଦେଉଥିବ । ସ୍ବାଧୀନତା ସଂଗ୍ରାମୀ ବିହାରୀ ରାମ ତନ୍ତୀ, ଲକ୍ଷ୍ମୀ ନାରାୟଣ ମିଶ୍ର ଓ ଚିନ୍ତାମଣି ପୂଜାରୀଙ୍କୁ ମଧ୍ୟ ମୁଖ୍ୟମନ୍ତ୍ରୀ ଶ୍ରଦ୍ଧାଞ୍ଜଳି ଦେଇଥିଲେ ।
ଏହି କାର୍ଯ୍ୟକ୍ରମରେ ସ୍ବାସ୍ଥ୍ୟ ମନ୍ତ୍ରୀ ନବ ଦାସ, ଗ୍ରାମ୍ୟ ଉନ୍ନୟନ ମନ୍ତ୍ରୀ ସୁଶାନ୍ତ ସିଂ, ବରଗଡ ସାଂସଦ ସୁରେଶ ପୂଜାରୀ ଓ ବ୍ରଜରାଜନଗର ବିଧାୟକ କିଶୋର ମହାନ୍ତି ପ୍ରମୁଖ ଯୋଗ ଦେଇ ବିଭିନ୍ନ କ୍ଷେତ୍ରରେ ଝାରସୁଗୁଡା ଜିଲ୍ଲାର ବିକାଶ ଉପରେ ଆଲୋକପାତ କରିଥିଲେ। ସେମାନେ କହିଥିଲେ ଯେ ମୁଖ୍ୟମନ୍ତ୍ରୀ ସବୁ କ୍ଷେତ୍ରରେ ରାଜ୍ୟର ବିକାଶକୁ ଏକ ନୂଆ ସ୍ତରକୁ ଆଣିବା ସହିତ ଗରିବ ଲୋକଙ୍କ ସୁରକ୍ଷା ପାଇଁ ଯେଉଁ କାର୍ଯ୍ୟକ୍ରମ ଗ୍ରହଣ କରିଛନ୍ତି, ତାହା ସମଗ୍ର ଦେଶରେ ବିରଳ।