ଅପାରଗ ତଥା ଦୁର୍ନୀତିଗ୍ରସ୍ତ ଅଧିକାରୀଙ୍କ ବିରୁଦ୍ଧରେ ମୁଖ୍ୟମନ୍ତ୍ରୀ ସବୁବେଳେ ଶୂନ୍ୟ ସହିଷ୍ଣୁତା ଆଭିମୁଖ୍ୟ ଉପରେ ଜୋର ଦେଇଆସିଛନ୍ତି । ଜନସାଧାରଣଙ୍କୁ ସ୍ବଚ୍ଛ, ଦକ୍ଷ ଏବଂ ଉତ୍ତରଦାୟୀ ପ୍ରଶାସନ ମାଧ୍ୟମରେ ସେବା ଯୋଗାଇ ଦେବା ପାଇଁ ମୁଖ୍ୟମନ୍ତ୍ରୀ ନିରନ୍ତର ପ୍ରଚେଷ୍ଟା ଜାରି ରଖିଛନ୍ତି। କଟକ ତୁଳସୀପୁରସ୍ଥିତ ଅତିରିକ୍ତ ଏସ୍.ପି (ଯୋଗାଯୋଗ) ତ୍ରିନାଥ ମିଶ୍ରଙ୍କ ଘରୁ ଆୟ ବର୍ହିଭୂତ ସମ୍ପତ୍ତି ମିଳିବା ପରେ ତାଙ୍କୁ ଗିରଫ କରାଯାଇଥିଲା । ଏହାପରେ ତାଙ୍କୁ ଆଜି ଚାକିରୀରୁ ବାଧ୍ୟତାମୂଳକ ଅବସର ଦେଇଛନ୍ତି ରାଜ୍ୟ ସରକାର ।
ବିଭିନ୍ନ ସ୍ତରରୁ ଅଭିଯୋଗ ଆସିବା ପରେ କଟକ, ଖୋର୍ଦ୍ଧା, ଯାଜପୁର, ଜଗତସିଂହପୁର ଓ ନବରଂଗପୁର ଆଦି ଜିଲ୍ଲାର ୧୧ଟି ସ୍ଥାନରେ ଥିବା ତାଙ୍କର ବିଭିନ୍ନ ସମ୍ପତ୍ତି ଉପରେ ଏକା ସମୟରେ ତଲାସୀ କରାଯାଇଥିଲା । ଏହି ତଲାସୀରୁ ବିପୁଳ ପରିମାଣରେ ସମ୍ପତ୍ତି ଥିବା ଜଣାଯାଇଥିଲା । ତାଙ୍କ ପାଖରୁ ପ୍ରାୟ ୯ କୋଟି ଟଙ୍କାର ସ୍ଥାବର ଓ ଅସ୍ଥାବର ସମ୍ପତ୍ତି ମିଳିଥିଲା। ଅତିରିକ୍ତ ଏସ୍.ପି (ଯୋଗାଯୋଗ) ତ୍ରିନାଥ ମିଶ୍ରଙ୍କୁ ମିଶାଇ ବର୍ତ୍ତମାନ ସୁଦ୍ଧା ୧୫୨ ଜଣ ଅଧିକାରୀଙ୍କୁ ଚାକିରୀରୁ ବାଧ୍ୟତାମୂଳକ ଅବସର ଦିଆଯାଇଛି। ଦୁର୍ନୀତି ଅଭିଯୋଗରେ ବାଧ୍ୟତାମୂଳକ ଅବସର ଦିଆଯିବାରେ ଶ୍ରୀ ମିଶ୍ର ହେଉଛନ୍ତି ଅନ୍ୟତମ ବରିଷ୍ଠ ଅଧିକାରୀ ।