ଆଜି କଟକ ଜିଲ୍ଲାର ଅରିଲୋଠାରେ ଓମ୍ଫେଡ୍ର ଅତ୍ୟାଧୁନିକ ଦୁଗ୍ଧ ପ୍ରକ୍ରିୟାକରଣ କାରଖାନାକୁ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ଉଦ୍ଘାଟନ କରିଛନ୍ତି । ୨୬୩ କୋଟି ଟଙ୍କା ବ୍ୟୟରେ ନିର୍ମିତ ଏହି ଅତ୍ୟାଧୁନିକ ପ୍ଲାଣ୍ଟରେ ଦୈନିକ ୫ ଲକ୍ଷ ଲିଟର କ୍ଷୀର ପ୍ରକ୍ରିୟା କରଣ କରାଯିବ । ଏଥିରୁ ଦୈନିକ ୨ ଲକ୍ଷ ଲିଟର ଦୁଗ୍ଧ ଗୁଣ୍ଡ ଉତ୍ପାଦିତ ହେବ । ଏହାସହିତ ଉଚ୍ଚମାନର ଦହି, ଦୁଗ୍ଧ, ଲହୁଣି, ଲସି, ଘିଅ, ପନୀର ଓ ଫ୍ଲେଵର୍ଡ ଦୁଗ୍ଧ ଉତ୍ପାଦନ କରାଯାଇ ଲୋକଙ୍କୁ ସୁଲଭ ମୂଲ୍ୟରେ ଯୋଗାଇ ଦିଆଯିବ । ଏହି ଅବସରରେ ପ୍ଲାଣ୍ଟରେ ପ୍ରସ୍ତୁତ ମିଠା ଦହି ଓ ରାବିଡି ମୁଖ୍ୟମନ୍ତ୍ରୀଙ୍କୁ ଖାଇବାକୁ ଦିଆଯାଇଥିଲା । ଏହାକୁ ଖାଇ ବହୁତ ସ୍ୱାଦିଷ୍ଟ ହୋଇଥିବା ମଧ୍ୟ ସେ କହିଥଲେ । ସମସ୍ତେ ଏହାକୁ ଟେଷ୍ଟ କରିବା ଦରକାର ବୋଲି ମଧ୍ୟ ମୁଖ୍ୟମନ୍ତ୍ରୀ କହିଥିଲେ । ଏହି ଅବସରରେ ଆୟୋଜିତ କାର୍ଯ୍ୟକ୍ରମରେ ମୁଖ୍ୟ ଅତିଥି ଭାବରେ ଯୋଗ ଦେଇ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ କହିଲେ ଯେ ଓମ୍ଫେଡ୍ ହେଉଛି ରାଜ୍ୟର ଲକ୍ଷ ଲକ୍ଷ ଦୁଗ୍ଧ ଚାଷୀମାନଙ୍କର ନିଜ ଅନୁଷ୍ଠାନ । ଏହାର ବିକାଶରେ ସବୁ ଚାଷୀ ଭାଇ ଭଉଣୀମାନଙ୍କର ଅବଦାନ ରହିଛି । ଓମ୍ଫେଡ୍ ମଧ୍ୟ ସବୁବେଳେ ଚାଷୀଙ୍କ ସ୍ବାର୍ଥର ସୁରକ୍ଷା ପାଇଁ କାମ କରିଆସୁଛି। ଆଜିର ଏହି ନୂଆ ପ୍ଲାଣ୍ଟ ଉଦଘାଟନ ଦ୍ବାରା ଚାଷୀମାନଙ୍କର ରୋଜଗାର ବଢିବ ଓ ପ୍ରାୟ ୬ ଲକ୍ଷ ଚାଷୀ ଉପକାର ପାଇବେ । ମୁଖ୍ୟମନ୍ତ୍ରୀ କହିଲେ ଯେ ଆମର ସବୁ କାର୍ଯ୍ୟକ୍ରମର ମୁଖ୍ୟ ଲକ୍ଷ ହେଉଛି ଚାଷୀ ଭାଇର ରୋଜଗାର ବଢାଇବା । ଏଥିପାଇଁ ସରକାର ବିଭିନ୍ନ ଯୋଜନା କାର୍ଯ୍ୟକାରୀ କରୁଛନ୍ତି । ରାଜ୍ୟରେ ଡାଇରୀ ଫାର୍ମ ଓ ପ୍ରୋସେସିଂ ୟୁନିଟ ପ୍ରତିଷ୍ଠା ପାଇଁ ଯେପରି ଯୁବ ସମାଜ ଆଗେଇ ଆସିବେ ସେଥିପାଇଁ ରାଜ୍ୟ ସରକାର ୫୦ ଲକ୍ଷ ଟଙ୍କା ପର୍ଯ୍ୟନ୍ତ ରିହାତି ଦେଉଛନ୍ତି । ତେଣୁ ସରକାରଙ୍କର ବିଭିନ୍ନ କାର୍ଯ୍ୟକ୍ରମର ସୁଯୋଗ ନେଇ ରାଜ୍ୟର ବିକାଶରେ ଭାଗୀଦାର ହେବା ପାଇଁ ମୁଖ୍ୟମନ୍ତ୍ରୀ ଆହ୍ବାନ ଜଣାଇଥିଲେ। ରାଜ୍ୟରେ ଶ୍ବେତ ବିପ୍ଳବ ଆଣିବା ପାଇଁ ସରକାରଙ୍କ ଉଦ୍ୟମରେ ସମସ୍ତଙ୍କର ସହଯୋଗ କାମନା କରିଥିଲେ । ରାଜ୍ୟରେ ଓମ୍ଫେଡ୍ର ଦୁଗ୍ଧ ସଂଗ୍ରହ କ୍ଷମତା ଦୈନିକ ୧୦ ଲକ୍ଷ ଲିଟରକୁ ବୃଦ୍ଧି କରିବାକୁ ଲକ୍ଷ୍ୟ ରଖାଯାଇଛି ବୋଲି ମୁଖ୍ୟମନ୍ତ୍ରୀ କହିଥିଲେ ।
ସୂଚନାଯୋଗ୍ୟ ଯେ ଗତ ଦୁଇ ଦଶକରେ ରାଜ୍ୟରେ ଦୁଗ୍ଧ ଉତ୍ପାଦନ ତିନିଗୁଣ ବୃଦ୍ଧି ପାଇଛି । ୨୦୦୦ ମସିହାରେ ରାଜ୍ୟରେ ଦୁଗ୍ଧ ଉତ୍ପାଦନ ୮ଲକ୍ଷ ୭୫ ହଜାର ମେଟ୍ରିକ ଟନ୍ ଥିବାବେଳେ ୨୦୨୦ ରେ ଏହା ୨୩ ଲକ୍ଷ ୭୦ ହଜାର ମେଟ୍ରିକ ଟନ୍କୁ ବୃଦ୍ଧି ପାଇଛି । ବର୍ତ୍ତମାନ ଓମ୍ଫେଡ୍ ଦ୍ବାରା ଦୈନିକ ସଂଗୃହିତ ୫ ଲକ୍ଷ ଲିଟର ଦୁଗ୍ଧ ଓମ୍ଫେଡ୍ର ୪୦୫ ଟି ଶୀତଳୀକରଣ କେନ୍ଦ୍ରରେ କରାଯାଉଛି ଏବଂ ୧୩ ଟି ପ୍ଲାଣ୍ଟରେ ପ୍ରକ୍ରିୟାକରଣ କରାଯାଉଛି । ଏହି କାର୍ଯ୍ୟକ୍ରମରେ ଯୋଗ ଦେଇ ବିଭାଗୀୟ ମନ୍ତ୍ରୀ ଡ. ଅରୁଣ ସାହୁ ରାଜ୍ୟରେ ସଂଗୃହିତ ଦୁଗ୍ଧର ଉପଯୁକ୍ତ ବିକ୍ରି ଓ ଉଚିତ ମୂଲ୍ୟ ପାଇବା ହେତୁ ଦୁଗ୍ଧ ଚାଷୀଙ୍କ ଆୟରେ ଉଲ୍ଲେଖନୀୟ ବୃଦ୍ଧି ଘଟିବ ବୋଲି ଆଶା ପ୍ରକାଶ କରିଥିଲେ । ଅନ୍ୟମାନଙ୍କ ମଧ୍ୟରେ ବାଙ୍କି ବିଧାୟକ ଦେବୀ ରଞ୍ଜନ ତ୍ରିପାଠୀ, ମୁଖ୍ୟ ଶାସନ ସଚିବ ସୁରେଶ ଚନ୍ଦ୍ର ମହାପାତ୍ର, ଉନ୍ନୟନ କମିଶନର ପ୍ରଦୀପ ଜେନା ପ୍ରମୁଖ ଯୋଗ ଦେଇଥିଲେ ।