କୋଭିଡ ପରିସ୍ଥିତିର ସମୀକ୍ଷା କରି ମୁଖ୍ୟମନ୍ତ୍ରୀ ଶ୍ରୀ ନବୀନ ପଟ୍ଟନାୟକ କହିଛନ୍ତି ଯେ ଆମେରିକା ଠାରୁ ଆରମ୍ଭ କରି କେରଳ ପର୍ଯ୍ୟନ୍ତ ବିଭିନ୍ନ ସ୍ଥାନରେ କରୋନା ସଂକ୍ରମଣ ବଢିବା ଚିନ୍ତାଜନକ ହେବାରେ ଲାଗିଛି । ତେଣୁ ଏପରି ପରିସ୍ଥିତିରେ ଆମକୁ ସମ୍ଭାବ୍ୟ ତୃତୀୟ ଲହର ଠାରୁ ନିରାପଦ ରହିବାକୁ ହେଲେ, କୋଭିଡ ନିୟମକୁ କଡାକଡି ଭାବରେ ପାଳନ କରିବାକୁ ପଡ଼ିବ । ଏଥିରେ ସାମାନ୍ୟ ଅବହେଳା ସମସ୍ତଙ୍କ ପାଇଁ ବିପଦର କାରଣ ହୋଇପାରେ ବୋଲି ମୁଖ୍ୟମନ୍ତ୍ରୀ ସତର୍କ କରାଇଛନ୍ତି । ଏପରି ପରିସ୍ଥିତିରେ କୋଭିଡ କଟକଣାକୁ ମାନି ଚଳିବା ହିଁ କୋଭିଡ ବିରୁଦ୍ଧରେ ଲଢିବା ପାଇଁ ସବୁଠାରୁ ଶକ୍ତିଶାଳୀ ଅସ୍ତ୍ର ବୋଲି ମୁଖ୍ୟମନ୍ତ୍ରୀ କହିଥିଲେ । ଏବଂ ଏହାର ଉପଯୁକ୍ତ ପାଳନ ସମସ୍ତଙ୍କ ପାଇଁ ଗୁରୁତ୍ବପୂର୍ଣ୍ଣ । ଅନ୍ୟପଟେ ପିଲାଙ୍କ ସ୍ୱାସ୍ଥ୍ୟକୁ ଦୃଷ୍ଟିରେ ରଖି ଯେପର୍ଯ୍ୟନ୍ତ ପିଲାମାନେ ଟିକା ନେଇନାହାନ୍ତି ସେମାନଙ୍କ ପାଇଁ ଆମକୁ ଅଧିକ ସତର୍କ ରହିବାକୁ ହେବ ବୋଲି କହିଛନ୍ତି । ତେବେ କୋଭିଡ ନିୟମ ପାଳନରେ ଅବହେଳା ଯଦି ଦୃଷ୍ଟିକୁ ଆସେ, ତେବେ ଅନୁଷ୍ଠାନର ମୁଖ୍ୟ ଦାୟୀ ରହିବେ ବୋଲି ମୁଖ୍ୟମନ୍ତ୍ରୀ ସତର୍କ କରାଇବା ସହ ପ୍ରଶାସନ ଏଥିପାଇଁ ସ୍ବତନ୍ତ୍ର ଚିମ୍ ଗଠନ କରି ଶିକ୍ଷାନୁଷ୍ଠାନ ଗୁଡିକ ନିୟମିତ ଭାବରେ ଅଚାନକ ଯାଞ୍ଚ କରିବା ପାଇଁ ମୁଖ୍ୟମନ୍ତ୍ରୀ ନିର୍ଦ୍ଦେଶ ଦେଇଥିଲେ । ସେହିପରି ହାଟ ବଜାର, ଧର୍ମାନୁଷ୍ଠାନ, ସ୍ବାସ୍ଥ୍ୟ ପ୍ରତିଷ୍ଠାନ ଆଦି ଗୁଡିକ ଉପରେ ସତର୍କ ଦୃଷ୍ଟି ରଖାଯିବ ଏବଂ ସ୍ବାସ୍ଥ୍ୟକର୍ମୀ, ସ୍କୁଲ ଯାଉଥିବା ପିଲା, ଗର୍ଭବତୀ ମହିଳା, ସରକାରୀ କର୍ମଚାରୀ ଏବଂ ପୋଲିସ ନିୟମିତ ଭାବରେ ଟେଷ୍ଟିଂ ଜାରି ରଖିବା ପାଇଁ ମୁଖ୍ୟମନ୍ତ୍ରୀ ପରାମର୍ଶ ଦେଇଥିଲେ । ଆହୁରି ମଧ୍ୟ ଆଗକୁ ପାର୍ବଣ ଋତୁ ଆସୁଛି । କେରଳରେ ଓନାମ୍ ପର୍ବ ପାଳନ ପରେ ପରେ ସଂକ୍ରମଣ ବୃଦ୍ଧିର ଉଦାହରଣ ଦେଇ ପାର୍ବଣ ସମୟରେ ସମସ୍ତଙ୍କୁ ଅଧିକ ସତର୍କ ରହିବା ପାଇଁ ମୁଖ୍ୟମନ୍ତ୍ରୀ ପରାମର୍ଶ ଦେଇଥିଲେ ଏବଂ କହିଥିଲେ ଯେ ବର୍ତ୍ତମାନ ସାଧାରଣ ଲୋକଙ୍କ ସ୍ବାର୍ଥକୁ ଦୃଷ୍ଟିରେ ରଖି ଲକ୍ଡାଉନ କୋହଳ କରାଯାଇଛି। କିନ୍ତୁ ତାର ଅର୍ଥ ନୁହେଁ ଯେ ଆମେ ନିୟମ ପାଳନରେ ଢିଲା କରିବା । ତେଣୁ ଯଦି ଆବଶ୍ୟକ ପଡେ ତେବେ ସାମୁହିକ ସ୍ବାର୍ଥ ଦୃଷ୍ଟିରୁ ରାଜ୍ୟ ସରକାର ପୁଣି ଥରେ ଲକ୍ଡାଉନ ପାଇଁ ବାଧ୍ୟ ହେବେ ବୋଲି ମୁଖ୍ୟମନ୍ତ୍ରୀ ସତର୍କ କରିଦେଇଥିଲେ । ପାର୍ବଣ ଋତୁ ସମୟରେ ଆମର ଦାୟିତ୍ବପୂର୍ଣ୍ଣ ବ୍ୟବହାର ହିଁ ତୃତୀୟ ଲହରକୁ ନିୟନ୍ତ୍ରଣ କରିବା ପାଇଁ ନିର୍ଣ୍ଣାୟକ ହେବ ବୋଲି ମତ ଦେଇ ମୁଖ୍ୟମନ୍ତ୍ରୀ ସମସ୍ତଙ୍କୁ ମାସ୍କ ପିନ୍ଧିବା, ହାତ ଧୋଇବା, ସାମାଜିକ ଦୂରତା ରକ୍ଷା କରିବା ଏବଂ ଭିଡକୁ ନ ଯିବା ପାଇଁ ଅନୁରୋଧ କରିଥିଲେ ।
#cmo #covid19 #lockdown #NNSODIA