ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ଆଜି ସନ୍ଧ୍ୟାରେ ରାଜ୍ୟର କୋଭିଡ ପରିସ୍ଥିତି ସଂପର୍କରେ ସମୀକ୍ଷା କରିଥିଲେ । ଏହି ଅବସରରେ ମୁଖ୍ୟମନ୍ତ୍ରୀ କହିଥିଲେ ଯେ ସାରା ଦେଶରେ କୋଭିଡ-୧୯ର ତୃତୀୟ ଲହର ଖୁବଜୋରରେ ବ୍ୟାପି ଚାଲିଛି । ଓଡିଶାରେ ମଧ୍ୟ ସଂକ୍ରମଣ ଦ୍ରୁତ ଗତିରେ ବଢୁଛି । ତେଣୁ ଆଗାମୀ କିଛି ସପ୍ତାହ ଅତ୍ୟନ୍ତ ଗୁରୁତ୍ବପୂର୍ଣ୍ଣ ବୋଲି ବର୍ଣ୍ଣନା କରି ସତର୍କ ରହିବା ପାଇଁ ଉଭୟ ଜନସାଧାରଣ ଓ ପ୍ରଶାସନକୁ ପରାମର୍ଶ ଦେଇଛନ୍ତି । ଜନସାଧାରଣଙ୍କୁ ଏହି ପରିପ୍ରେକ୍ଷୀରେ କୋଭିଡ ନିୟମକୁ କଡାକଡି ଭାବରେ ପାଳନ କରିବା ପାଇଁ ମୁଖ୍ୟମନ୍ତ୍ରୀ ଅନୁରୋଧ କରିଛନ୍ତି ।
ମୁଖ୍ୟମନ୍ତ୍ରୀ କହିଥିଲେ ଯେ ଯଦିଓ ତୃତୀୟ ଲହରରେ ବର୍ତ୍ତମାନ ସୁଦ୍ଧା ହସ୍ପିଟାଲାଇଜେସନ ବହୁତ କମ୍ ରହିଛି, ତଥାପି ଆମକୁ ଭବିଷ୍ୟତ ପାଇଁ ସଂପୂର୍ଣ୍ଣ ଭାବରେ ପ୍ରସ୍ତୁତ ରହିବାକୁ ପଡିବ । ସେହିପରି ରାଜ୍ୟରେ ଟୀକାକରଣ କାର୍ଯ୍ୟକ୍ରମ ସନ୍ତୋଷଜନକ ରହିଥିଲେ ମଧ୍ୟ ଆଦୌ ଟିକା ନେଇ ନ ଥିବା ତଥା ଦ୍ବିତୀୟ ଡୋଜ ନେଇ ନ ଥିବା ଲୋକମାନଙ୍କର ଟିକାକରଣକୁ ଜୋରଦାର କରିବା ପାଇଁ ମୁଖ୍ୟମନ୍ତ୍ରୀ ପରାମର୍ଶ ଦେଇଥିଲେ। ଏହିସହିତ ବରିଷ୍ଠ ନାଗରିକ ତଥା ସଂମୁଖ ଯୋଦ୍ଧାମାନଙ୍କର ଟିକାକରଣ ଖୁବ ଜରୁରୀ ବୋଲି ମୁଖ୍ୟମନ୍ତ୍ରୀ କହିଥଲେ ।
ପୂର୍ବ ଥର ଭଳି ଏଥର ମଧ୍ୟ ସଚେତନତା କାର୍ଯ୍ୟକ୍ରମ ବ୍ୟାପକ କରାଯିବା ଏବଂ ଏଥିରେ ମିଶନ ଶକ୍ତି ଗୃପମାନଙ୍କୁ ସାମିଲ କରିବା ପାଇଁ ମୁଖ୍ୟମନ୍ତ୍ରୀ ପରାମର୍ଶ ଦେଇଥିଲେ । ସେହିପରି କୋଭିଡ ନିୟମର କଡାକଡି ଅନୁପାଳନ ପ୍ରତି ସ୍ବତନ୍ତ୍ର ଧ୍ୟାନ ଦେବା ପାଇଁ ମୁଖ୍ୟମନ୍ତ୍ରୀ ରାଜ୍ୟ ପୋଲିସକୁ ନିର୍ଦ୍ଦେଶ ଦେଇଥିଲେ ।
ଆଲୋଚନାରେ ଅଂଶଗ୍ରହଣ କରି ମୁଖ୍ୟ ଶାସନ ସଚିବ ସୁରେଶ ଚନ୍ଦ୍ର ମହାପାତ୍ର ଜିଲ୍ଲାସ୍ତରରେ କୋଭିଡ ସଂକ୍ରମଣ ନିୟନ୍ତ୍ରଣ ପାଇଁ ନିଆଯାଇଥିବା ପଦକ୍ଷେପ ସଂପର୍କରେ ମୁଖ୍ୟମନ୍ତ୍ରୀଙ୍କୁ ଅବଗତ କରିଥିଲେ । ସ୍ବାସ୍ଥ୍ୟ ବିଭାଗର ଅତିରିକ୍ତ ମୁଖ୍ୟ ଶାସନ ସଚିବ ଆର.କେ. ଶର୍ମା ରାଜ୍ୟରେ କୋଭିଡ ସ୍ଥିତି ଓ ଏହାର ମୁକାବିଲା ପାଇଁ ନିଆଯାଇଥିବା ପଦକ୍ଷେପ ସଂପର୍କରେ ଏକ ଉପସ୍ଥାପନା ରଖିଥିଲେ । କମ୍ ହସ୍ପିଟାଲାଇଜେନ ସତ୍ତ୍ବେ ଦ୍ବିତୀୟ ଲହରଠାରୁ ଅଧିକ ସଂଖ୍ୟକ ବେଡ ମହଜୁଦ ରଖାଯାଇଛି ଏବଂ ତା ସହିତ ଅକ୍ସିଜେନ, ଭେଣ୍ଟିଲେଟର ଆଦି ବ୍ୟବସ୍ଥାକୁ ସକ୍ରିୟ ରଖାଯାଇଛି । ଟିକାକରଣ କ୍ଷେତ୍ରରେ ରାଜ୍ୟର ପ୍ରଦର୍ଶନ ସଂପର୍କରେ ସୂଚନା ଦେଇ ଶର୍ମା କହିଥିଲେ ଯେ ରାଜ୍ୟରେ ବର୍ତ୍ତମାନ ସୁଦ୍ଧା ରାଜ୍ୟରେ ୯୧.୮ ପ୍ରତିଶତ ଲୋକ ପ୍ରଥମ ଡୋଜ ଟିକା ନେଇଥିବା ବେଳେ, ଦ୍ବିତୀୟ ଡ଼ୋଜର ହାର ୬୮.୪ ପ୍ରତିଶତ ରହିଛି । ସେହିପରି ୩୦.୭ ପ୍ରତିଶତ ୧୫ ରୁ ୧୮ ବର୍ଷ ବୟସର ପିଲା ମଧ୍ୟ ଟିକା ନେଇସାରିଲେଣି । ତେଣୁ ଟିକାକରଣକୁ ସଂପୂର୍ଣ୍ଣ କରିବା ପାଇଁ ତୁରନ୍ତ ପଦକ୍ଷେପ ନିଆଯାଉଛି ବୋଲି ସେ ସୂଚନା ଦେଇଥିଲେ | ଭୁବନେଶ୍ବର ମହାନଗର ନିଗମ କଟକ ମହାନଗର ନିଗମର ମ୍ୟୁନିସପାଲଟି କମିଶନର ଦ୍ବୟ ତଥା ସମ୍ବଲପୁର ଓ ସୁନ୍ଦରଗଡର ଜିଲ୍ଲାପାଳ ସେମାନଙ୍କ ଅଞ୍ଚଳର ସ୍ଥିତି ସଂପର୍କରେ ଅବଗତ କରାଇଥିଲେ । କୋଭିଡ ନିୟମ ଅନୁପାଳନର କଡ଼ାକଡ଼ି ତଦାରଖ ପାଇଁ ରାଜ୍ୟ ପୋଲିସ ପକ୍ଷରୁ ନିଆଯାଇଥିବା ପଦକ୍ଷେପ ସମ୍ପର୍କରେ ପୋଲିସ ମହାନିର୍ଦ୍ଦେଶକ ସୁନୀଲ ବଂଶଲ ମୁଖ୍ୟମନ୍ତ୍ରୀଙ୍କୁ ଅବଗତ କରିଥିଲେ ।