ମୁଖ୍ୟମନ୍ତ୍ରୀ ଶ୍ରୀ ନବୀନ ପଟ୍ଟନାୟକ ଆଜି ବଲାଙ୍ଗୀର ଜିଲ୍ଲା ଗସ୍ତ କରି ବିଜୁ ସ୍ବାସ୍ଥ୍ୟ କଲ୍ୟାଣ ଯୋଜନାରେ ସ୍ମାର୍ଟ ହେଲ୍ଥ କାର୍ଡ ବଣ୍ଟନର ଶୁଭାରମ୍ଭ କରିଛନ୍ତି । ମୁଖ୍ୟମନ୍ତ୍ରୀ ଜିଲ୍ଲାର ଟିଟିଲାଗଡ, ପାଟଣାଗଡ ଓ ବଲାଙ୍ଗୀର ଟାଉନ ଗସ୍ତ କରି ସ୍ମାର୍ଟ କାର୍ଡ ବଣ୍ଟନ କରି କାର୍ଯ୍ୟକ୍ରମ ଶୁଭାରମ୍ଭ କରିଥିଲେ। ଟିଟିଲାଗଡରେ ଜିଲ୍ଲାର ପ୍ରଥମ ହିତାଧିକାରୀ ଭାବରେ ସରୋଜିନୀ ବହିଦାରଙ୍କୁ ସ୍ମାର୍ଟ ହେଲ୍ଥ କାର୍ଡ ପ୍ରଦାନ କରି ମୁଖ୍ୟମନ୍ତ୍ରୀ କାର୍ଯ୍ୟକ୍ରମର ଶୁଭାରମ୍ଭ କରିଥିଲେ । ଜିଲ୍ଲାର ସାଢେ ଚାରି ଲକ୍ଷ ପରିବାର ଏହି ସୁବିଧା ପାଇବେ। ଏହି ଗସ୍ତ ସମୟରେ ମୁଖ୍ୟମନ୍ତ୍ରୀ ଜିଲ୍ଲାର ୨୦୦ କୋଟି ଟଙ୍କାର ଉନ୍ନୟନମୂଳକ ପ୍ରକଳ୍ପର ଉଦ୍ଘାଟନ କରିବା ସହିତ ୫୯୭ କୋଟି ଟଙ୍କାର ପ୍ରକଳ୍ପ ପାଇଁ ଭିତ୍ତିପ୍ରସ୍ତର ରଖିଥିଲେ । ପାଟଣାଗଡରେ ମୁଖ୍ୟମନ୍ତ୍ରୀ ହରିଶଙ୍କର ପୀଠର ବିକାଶ ପାଇଁ ଭିତ୍ତିପ୍ରସ୍ତର ମଧ୍ୟ ରଖିଥିଲେ । ଏହି ଅବସରରେ ମୁଖ୍ୟମନ୍ତ୍ରୀ ଉଦ୍ବୋଧନ ଦେଇ ସ୍ମାର୍ଟ ହେଲ୍ଥ କାର୍ଡର ବ୍ୟବସ୍ଥା ସାଧାରଣ ଲୋକଙ୍କର ଚିକିତ୍ସା ବ୍ୟବସ୍ଥାରେ ରୂପାନ୍ତର ଆଣିପାରିବ ବୋଲି ମତ ଦେଇଥିଲେ। ଦେଶର ସ୍ବାସ୍ଥ୍ୟ ସେବା କ୍ଷେତ୍ରରେ ଏହା ଏକ ମାଇଲଷ୍ଟୋନ ବୋଲି ସେ କହିଥିଲେ । ମୁଖ୍ୟମନ୍ତ୍ରୀ କହିଥିଲେ ଯେ ବିଜୁ ସ୍ବାସ୍ଥ୍ୟ କଲ୍ୟାଣ ଯୋଜନାକୁ ନୂଆ ରୂପରେ କାର୍ଯ୍ୟକାରୀ କରାଯାଇ ଜାତୀୟ ଓ ରାଜ୍ୟ ଖାଦ୍ୟ ସୁରକ୍ଷା ଯୋଜନାର ସବୁ ହିତାଧିକାରୀଙ୍କୁ ସ୍ମାର୍ଟ କାର୍ଡ ଦିଆଯାଉଛି । ଏଭଳି ବ୍ୟବସ୍ଥା କରିବାରେ ଓଡିଶା ସାରା ଦେଶର ଏକମାତ୍ର ରାଜ୍ୟ । ସାରା ଓଡିଶାରେ ୯୬ ଲକ୍ଷ ପରିବାର ଏହି ସୁବିଧା ପାଉଥିବା ବେଳେ, ବଲାଙ୍ଗୀର ଜିଲ୍ଲାର ସାଢେ ଚାରି ଲକ୍ଷ ପରିବାର ଏହି ସୁବିଧା ପାଇବେ ବୋଲି ମୁଖ୍ୟମନ୍ତ୍ରୀ କହିଥିଲେ । ମୁଖ୍ୟମନ୍ତ୍ରୀ କହିଥିଲେ ଯେ ଏହି କାର୍ଡ ପାଖରେ ରହିଲେ, ଚିକିତ୍ସା ପାଇଁ କୌଣସି ଡକୁମେଣ୍ଟ ଦରକାର ନାହିଁ । କେବଳ କାର୍ଡଟିକୁ ନେଇ ଲୋକମାନେ ଦେଶର ୨୦୦ ବଡ ବଡ ହସପିଟାଲରେ ବିନା ଖର୍ଚ୍ଚରେ ଗୁଣାତ୍ମକ ଚିକିତ୍ସା ପାଇପାରିବେ । ପରିବାର ପାଇଁ ବର୍ଷକୁ ୫ ଲକ୍ଷ ଟଙ୍କା ଏବଂ ମହିଳା ମାନଙ୍କ ପାଇଁ ୧୦ ଲକ୍ଷ ଟଙ୍କା ପର୍ଯ୍ୟନ୍ତ ଚିକିତ୍ସା ସୁବିଧା ମିଳିପାରିବ।
#cmo #smartcard #NNSODIA