ମୁଖ୍ୟମନ୍ତ୍ରୀ ଶ୍ରୀ ନବୀନ ପଟ୍ଟନାୟଙ୍କ ତତ୍ୱାବଧାନରେ ମୁଖ୍ୟ ଶାସନ ସଚିବ ଶ୍ରୀ ସୁରେଶ ଚନ୍ଦ୍ର ମହାପାତ୍ର, ସଚିବ ଶ୍ରୀ ଭି.କେ. ପାଣ୍ଡିଆନ୍, ଜାତୀୟ ସ୍ବାସ୍ଥ୍ୟ ମିଶନର ନିର୍ଦ୍ଦେଶିକା ଶ୍ରୀମତୀ ଶାଳିନୀ ପଣ୍ଡିତ ଏବଂ ସ୍ବତନ୍ତ୍ର ସଚିବ ଶ୍ରୀ ଆର. ଭିଲିନ୍କ୍ରିଷ୍ଣା ଆଜି ସୁନ୍ଦରଗଡ ଜିଲ୍ଲା ଗସ୍ତରେ ଯାଇ ବିଭିନ୍ନ ଉନ୍ନୟନମୁଳକ କାର୍ଯ୍ୟର ସମୀକ୍ଷା କରିଛନ୍ତି । ଶିକ୍ଷା, ମହିଳା ଓ ଶିଶୁବିକାଶ, ପୋଷଣ, ଜୀବିକା, ସଂଯୋଗୀକରଣ, ପାନୀୟ ଜଳ, କୃଷି ଓ ଜଳସେଚନ ଆଦି ବିଭିନ୍ନ କାର୍ଯ୍ୟକ୍ରମର ଅଗ୍ରଗତି ସଂପର୍କରେ ମଧ୍ୟ ସମୀକ୍ଷା କରିଥିଲେ । ଏତଦ୍ବ୍ୟତୀତ ଜିଲ୍ଲାରେ କ୍ରୀଡା ଭିତ୍ତିଭୂମି ସଂପର୍କରେ ମଧ୍ୟ ବୈଠକରେ ଆଲୋଚନା କରାଯାଇଥିଲା। ରାଜ୍ୟ ସରକାରଙ୍କର 5T କାର୍ଯ୍ୟକ୍ରମ ଅଧୀନରେ ଜିଲ୍ଲାର ୫୦ଟି ସରକାରୀ ହାଇସ୍କୁଲର ରୂପାନ୍ତରଣ କାର୍ଯ୍ୟର ଅଗ୍ରଗତି ସଂପର୍କରେ ନିରୀକ୍ଷଣ କରିବା ସହିତ ରୂପାନ୍ତରଣ କାର୍ଯ୍ୟ ଅକ୍ଟୋବର ସୁଦ୍ଧା ଶେଷ ହେବ ବୋଲି କହିଥିଲେ । ଏଥି ସହିତ ସୁନ୍ଦରଗଡ ସଦରର ଭବାନୀପୁରରେ ବାଲା ମଡେଲରେ ନିର୍ମିତ ଆଧୁନିକ ଅଙ୍ଗନବାଡୀ କେନ୍ଦ୍ର ମଧ୍ୟ ସେମାନେ ପରିଦର୍ଶନ କରିଥିଲେ । ସୁନ୍ଦରଗଡ ଜିଲ୍ଲାରେ ଥିବା ସମସ୍ତ ଅଙ୍ଗନବାଡୀ କେନ୍ଦ୍ର ସହିତ ନୂଆ ଅଙ୍ଗନବାଡୀ କେନ୍ଦ୍ର ଗୁଡିକୁ ବାଲା ମଡେଲରେ ନିର୍ମାଣ କରାଯାଉଛି ଯେଉଁଥିରେ ଛୋଟ ଛୋଟ ପିଲାଙ୍କ ଶିକ୍ଷାକୁ ଆନନ୍ଦମୟ କରିବାପାଇଁ କାନ୍ଥବାଡ ଠାରୁ ଆରମ୍ଭ କରି ସଂପୂର୍ଣ୍ଣ ପରିବେଶ ପିଲାଙ୍କ ଶିକ୍ଷା ପାଇଁ ଆକର୍ଷଣୀୟ କରାଯାଇଛି । ଏଥି ସହିତ କୋଭିଡ ମହାମାରୀର ସମ୍ଭାବ୍ୟ ତୃତୀୟ ଲହରର ମୁକାବିଲା ଲାଗି ସ୍ବାସ୍ଥ୍ୟ ଭିତ୍ତିଭୂମିର ପ୍ରସ୍ତୁତି ଏବଂ ବିଶେଷ କରି ଶିଶୁମାନଙ୍କ ଚିକିତ୍ସା ଲାଗି ଆଇସିୟୁ ତଥା ଆବଶ୍ୟକୀୟ ବ୍ୟବସ୍ଥା ସଂପର୍କରେ ସୁନ୍ଦରଗଡସ୍ଥିତ ଏନଟିପିସି କୋଭିଡ ସ୍ବାସ୍ଥ୍ୟକେନ୍ଦ୍ର ପରିଦର୍ଶନ କରି ଅନୁଧ୍ୟାନ କରିଥିଲେ । ଏହି କାର୍ଯ୍ୟକ୍ରମରେ ସୁନ୍ଦରଗଡର ଜିଲ୍ଲାପାଳ, ଜିଲ୍ଲାର ଏସ୍.ପି ଓ ଜିଲ୍ଲା ଗ୍ରାମ୍ୟ ଉନ୍ନୟନ ସଂସ୍ଥାର ପ୍ରକଳ୍ପ ନିର୍ଦ୍ଦେଶକ ପ୍ରମୁଖ ଉପସ୍ଥିତ ଥିଲେ ।
#SUNDARGARH #CMO #chiefsecretary of #Odisha #5T #VKPandian #NNSODIA