ନୂଆ ରୂପରେ ସଜେଇ ହୋଇଛି ମା’ ତାରାତାରିଣୀ ପୀଠ । ଗଞ୍ଜାମର ଆରାଧ୍ୟ ଦେବୀ ମା ତାରାତାରିଣୀଙ୍କ ପୀଠର ଆଜି ହୋଇଛି କାୟାକଳ୍ପ। କଳିଙ୍ଗ ସ୍ଥାପତ୍ୟ ଶୈଳୀରେ ନବନିର୍ମିତ ମନୋରମ ମନ୍ଦିରର ଆଜି ହୋଇଛି ପ୍ରତିଷ୍ଠା ଉତ୍ସବ । ଭବ୍ୟମନ୍ଦିରର ପ୍ରତିଷ୍ଠା ଉତ୍ସବରେ ମୁଖ୍ୟ ପୁରୋଧା ଭାବେ ଯୋଗଦେଲେ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ । ଆଜିର ଦିନଟିକୁ ଏକ ପବିତ୍ର ଦିନ ଭାବରେ ବର୍ଣ୍ଣନା କରି ସାରା ଓଡିଶା, ବିଶେଷକରି ଗଞ୍ଜାମବାସୀଙ୍କର ମଙ୍ଗଳ କାମନା କରି ମାଙ୍କ ଆଶୀର୍ବାଦ ଭିକ୍ଷା କରିଛନ୍ତି ମୁଖ୍ୟମନ୍ତ୍ରୀ ।
ମୁଖ୍ୟମନ୍ତ୍ରୀ ପ୍ରଥମେ ମାଙ୍କର ଦର୍ଶନ କରି ପୂଜାର୍ଚ୍ଚନା କରିବା ସହିତ ପ୍ରତିଷ୍ଠା କାର୍ଯ୍ୟରେ ଯୋଗ ଦେଇଥିଲେ । ସମ୍ବୋଧନ ସଭାରେ ମୁଖ୍ୟମନ୍ତ୍ରୀ କହିଥିଲେ ଯେ, ଓଡିଶା ଦେବଭୂମି। ଓଡିଶାରେ ଶକ୍ତି ପୂଜାର ପରମ୍ପରା ବହୁ ପ୍ରାଚୀନ । ଓଡିଶାର ଗାଁ ଗାଁରେ ମାଙ୍କର ପୂଜା ଅନାଦି କାଳରୁ ଚାଲିଆସିଛି । ମା ତାରାତାରିଣୀ ହେଉଛନ୍ତି ଗଞ୍ଜାମର ଇଷ୍ଟ ଦେବୀ । ଗଞ୍ଜାମବାସୀଙ୍କ ସୁଖଦୁଃଖ ରେ ଆମେ ମାଙ୍କ ଶରଣ ନେଇଥାଉ | ମୁଁ ମା’ଙ୍କୁ ଦର୍ଶନ କରି ଖୁସି ଅନୁଭବ କରୁଛି। ମା’ ତାରା ତାରିଣୀଙ୍କ ମନ୍ଦିର ନୂଆ ରୂପରେଖ ଓଡ଼ିଶା କଳା ଓ ସଂସ୍କୃତିର ଗାରିମାକୁ ଆହୁରି ବୃଦ୍ଧି କରିବ। ମା’ଙ୍କ ଦର୍ଶନ କରିବାକୁ ଆସୁଥିବା ଭକ୍ତଙ୍କ ପାଇଁ ସମସ୍ତ ସୁବିଧା ସୁଯୋଗ କରାଯାଇଛି | ମାଙ୍କ ଆଶୀର୍ବାଦ ଓ ମାଙ୍କ ଇଚ୍ଛାରେ ହିଁ ତାଙ୍କ ମନ୍ଦିର ଆଜି ଏହି ଭବ୍ୟ ରୂପ ଗ୍ରହଣ କରିଛି ବୋଲି କହିଥିଲେ ମୁଖ୍ୟମନ୍ତ୍ରୀ |
#TaratariniTemple #TaraTarini #Odisha #NavinPatnaik