ଆସନ୍ତା ୨୪ ଘଣ୍ଟା ମଧ୍ୟରେ ବଙ୍ଗୋପସାଗରରେ ଏକ ଲଘୁଚାପ ସୃଷ୍ଟି ହେବାର ବିଶେଷ ସମ୍ଭାବନା ରହିଥିବା ପାଣିପାଗ ବିଭାଗ ପକ୍ଷରୁ ସୂଚନା ମିଳିଛି । ଏହା ପ୍ରଭାବରେ ଆଜି କାଲି ଦୁଇ ଦିନ ଧରି ରାଜ୍ୟର କେତେକ ଜିଲ୍ଲାରେ ପ୍ରବଳରୁ ଅତିପ୍ରବଳ ବର୍ଷା ହେବାର ସମ୍ଭାବନା ରହିଛି । ସାରା ରାଜ୍ୟରେ ସାମାନ୍ୟ ମଧ୍ୟମଧରଣର ବର୍ଷା ହେବ । କିନ୍ତୁ ବିଶେଷ କରି ରାଜ୍ୟର ୬ ଜିଲ୍ଲାରେ ପ୍ରବଳରୁ ଅତିପ୍ରବଳ ବର୍ଷା ହେବାର ସମ୍ଭାବନା ରହିଥିବାରୁ ଆଞ୍ଚଳିକ ପାଣିପାଗ ବିଜ୍ଞାନ କେନ୍ଦ୍ର ପକ୍ଷରୁ ୟେଲୋ ୱାର୍ଣ୍ଣିଂ ଜାରି କରାଯାଇଛି । ୬ ଟି ଜିଲ୍ଲା ମଧ୍ୟରେ ଗଜପତି, ଗଞ୍ଜାମ, କଳାହାଣ୍ଡି, କନ୍ଧମାଳ, କୋରାପୁଟ ଓ ପୁରୀ ରହିଛି । ଏହି ସହିତ ମାଲକାନଗିରି, ରାୟଗଡ଼ା, ଖୋର୍ଦ୍ଧା, କଟକ, ଜଗତସିଂହପୁର, ମୟୂରଭଞ୍ଜ ଓ ନବରଙ୍ଗପୁରରେ ମଧ୍ଯ ପାଇଁ ବର୍ଷା ସମ୍ଭାବନାକୁ ଆଖି ଆଗରେ ରଖି ୟେଲୋ ୱାର୍ଣ୍ଣିଂ ଜାରି କରାଯାଇଛି । ଏଥି ସହିତ ପାଣିପାଗ ବିଭାଗ ପକ୍ଷରୁ ଆସନ୍ତାକାଲି ଆଭ୍ୟନ୍ତରୀଣ ଓଡ଼ିଶାର କିଛି ଜିଲ୍ଲାରେ ପ୍ରବଳ ବର୍ଷାକୁ ନେଇ ୟେଲୋ ୱାର୍ଣ୍ଣିଂ ଜାରି କରାଯାଇଛି । ବିଶେଷକରି ନୂଆପଡ଼ା, ବଲାଙ୍ଗୀର, ବରଗଡ଼, ଝାରସୁଗୁଡ଼ା, ସୁନ୍ଦରଗଡ଼, କେନ୍ଦୁଝର ଓ ମୟୂରଭଞ୍ଜ ଆଦି ଜିଲ୍ଲାରେ ପ୍ରବଳ ବର୍ଷାକୁ ନେଇ ୟେଲୋୱାର୍ଣ୍ଣିଂ ଜାରି କରାଯାଇଛି । ପାଣିପାଗ ବିଭାଗର ସୂଚନା ଅନୁଯାୟୀ ଲଘୁଚାପ ପ୍ରଭାବରେ ଦକ୍ଷିଣ ଓଡ଼ିଶା ତଥା ତତ୍ସଂଲଗ୍ନ ପଶ୍ଚିମ-କେନ୍ଦ୍ରୀୟ ବଙ୍ଗୋପସାଗର ଓ ଉତ୍ତର ବଙ୍ଗୋପସାଗର ଅଞ୍ଚଳରେ ପବନର ବେଗ ପ୍ରାୟ ୪୦ରୁ ୫୦କିମି ରହିବାର ସମ୍ଭାବନା ରହିଛି । ତେଣୁ ଆଜି କାଲି ଦୁଇ ଦିନ ପର୍ଯ୍ୟନ୍ତ ମତ୍ସ୍ୟଜୀବୀମାନଙ୍କୁ ସମୁଦ୍ର ଭିତରକୁ ଯିବାକୁ ବାରଣ କରାଯାଇଛି ।
#weather #NNSODIA